< ଗୀତସଂହିତା 19 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।
2 ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ।
3 କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ।
4 ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
5 ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ।
6 ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ।
7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
8 ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ।
9 ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ।
10 ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।
11 ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।
12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।
13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।
14 ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।